ଆରପାରିରେ ଦାମ ରାଉତ

ଭୁବନେଶ୍ବର: ପରଲୋକରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଦାମୋଦର ରାଉତଙ୍କ ଦେହାନ୍ତ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି ।
ଦାମୋଦର ରାଉତ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ । ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ଦାମୋଦରଙ୍କୁ ଭେଣ୍ଟିଲେଟର ସପୋର୍ଟ ସିଷ୍ଟମରେ ରଖାଯାଇଥିଲା । ହେଲେ ଆଜି ତାଙ୍କର ଦେହାନ୍ତ ହୋଇଛି । ଦାମଙ୍କ ବିୟୋଗରେ ରାଜନୀତିରେ ମହଲରେ ଶୋକର ଛାୟା ଖେଳିଯାଇଛି ।
ଆଜି ପ୍ରଥମେ ଦାମଙ୍କ ମରଶରୀରକୁ ତାଙ୍କ ସରକାରୀ ବାସଭବନକୁ ନିଆଯିବ । ଏହାପରେ ତାଙ୍କୁ ବିଜେଡି କାର୍ଯ୍ୟାଳୟକୁ ନିଆଯିବ । ସେଠାରେ ପାର୍ଟି କାର୍ଯ୍ୟକର୍ତ୍ତା ଦାମଙ୍କ ଶେଷ ଦର୍ଶନ କରିବାପରେ ମରଶରୀରକୁ ବିଧାନସଭାକୁ ନିଆଯିବ । ସେଠାରେ ବିଧାୟକମାନେ ତାଙ୍କ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିବେ । ସେଠାରୁ ଦାମଙ୍କ ମରଶରୀରକୁ ପାରାଦୀପ ନିର୍ବାଚନ ମଣ୍ଡଳୀକୁ ନିଆଯିବ । ଏହାପରେ ରାତିରେ ପୁରୀରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି ।